ମହାପ୍ରଭୁଙ୍କ ଅନନ୍ୟ ଲୀଳା ‘ରଥଯାତ୍ରା’ ଆରମ୍ଭ, ଜାଣନ୍ତୁ ତିନି ରଥ ବିଷୟରେ

ମହାପ୍ରଭୁମାନଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ମହାବେଦୀ ମହୋତ୍ସବ ହିଁ ଶ୍ରେଷ୍ଠ ବୋଲି ସ୍କନ୍ଧ ପୁରାଣର ପୁରୁଷୋତ୍ତମ ମାହାତ୍ମ୍ୟରେ କୁହାଯାଇଛି। ଏପରିକି ଏହି ମହାବେଦୀ ମହୋତ୍ସବକୁ ନିର୍ମଳ ମନରେ ଯେଉଁ ଭକ୍ତ ଦର୍ଶନ କରେ ତାର ଶତକୋଟି ଜନ୍ମର ପାପରାଶି କ୍ଷଣକେ ନଷ୍ଟ ହୁଏ। ଶ୍ରୀଜଗନ୍ନାଥଙ୍କର ଉତ୍ସବମୁଖର ଏହି ଗୁଣ୍ଡିଚା ଯାତ୍ରା କେବଳ ଓଡ଼ିଶା କାହିକିଁ ବିଶ୍ୱର ଏକ ସହସ୍ର ଅଶ୍ୱମେଧ ଯଜ୍ଞର ଫଳ ମିଳିଥାଏ ବୋଲି ବିଶ୍ୱାସ କରାଯାଏ । ତେଣୁ ପୁରାଣମାନଙ୍କରେ କୁହାଯାଇଛି – ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ ଗୁଣ୍ଡିଚା ମନ୍ଦିରରେ ଏକ ଦିବସ ଦର୍ଶନରେ ସେତିକି ଫଳ ଲାଭ ହୁଏ।
ରଥ ନିର୍ମାଣ ତଥା ରଥଯାତ୍ରାର ପ୍ରଥମ ଶୁଭାରମ୍ଭ ହୋଇଥାଏ ସରସ୍ୱତୀ ପୂଜା ଶ୍ରୀପଞ୍ଚମୀ ତିଥିଠାରୁ। କେତେକ ନିର୍ଦ୍ଦିଷ୍ଟ ତିଥିରେ ତିନି ରଥମାନଙ୍କର ନିର୍ଦ୍ଦିଷ୍ଟ କାର୍ଯ୍ୟର ଶୁଭାରମ୍ଭ ହୋଇଥାଏ। ଯଥା – ଶ୍ରୀପଞ୍ଚମୀ ଦିନ ରଥକାଠ ପୁରୀରେ ପହଞ୍ଚିବା ସଙ୍ଗେ ସଙ୍ଗେ ଅନୁକୂଳ ନୀତି ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥାଏ। ଶ୍ରୀରାମ ନବମୀ ଦିନ ରଥକାଠ ଚିରା କାର୍ଯ୍ୟର ଅନୁକୂଳ ମନୋନୀତ କରତ କଳରେ ହୋଇଥାଏ। ଅକ୍ଷୟ ତୃତୀୟା ଦିନ ତିନି ରଥ ଶୁଭାରମ୍ଭ କାର୍ଯ୍ୟର ଅନୁକୂଳ ହୋଇଥାଏ। ଉକ୍ତଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ଅନ୍ୟାନ୍ୟ ଶୋତ୍ରୀୟ ବ୍ରାହ୍ମଣମାନଙ୍କଦ୍ୱାରା ରଥ ନିର୍ମାଣ ଉପଲକ୍ଷେ ଶୁଭାରମ୍ଭ କାର୍ଯ୍ୟ ଯଜ୍ଞ ଓ ଆନୁସଙ୍ଗିକ ପୂଜା, ନୀତି ଇତ୍ୟାଦି ଅନୁଷ୍ଠିତ ହେବା ସଙ୍ଗେ ସଙ୍ଗେ ପୂଜାପଣ୍ଡା ତିନି ରଥ ନିର୍ମାଣର ଅନୁକୂଳ ନିମନ୍ତେ ଅଜ୍ଞାମାଳ ପ୍ରଦାନ କରିଥାନ୍ତି। ଏଠାରେ ବିଶ୍ୱକର୍ମା ମହାରଣା, ରୂପକାର , ଭୋଇ ଇତ୍ୟାଦି ସେବକମାନେ ଶାଢ଼ୀ ବନ୍ଧାଇଥାନ୍ତି। ଏହା ପରେ ନୃସିଂହ ଚତୁର୍ଦ୍ଦଶୀ ଦିନ ଗୁଜ ଅନୁକୂଳ, ଶ୍ରୀକ୍ଷେତ୍ର ଭଉଁରୀ ଦିନ ପ୍ରତ୍ୟେକ ରଥର ଦୁଇଟି ଲେଖାଏଁ ଚକ ଡେରା ହୋଇଥାଏ ଓ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଆସି ଏହା ଉପରେ ଲାଗି କରାଯାଇଥାଏ। ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରତି ରଥର ଚାରିନାହାକା ଡେରା ଅନୁକୂଳ ଓ ନେତ୍ରୋତ୍ସବ ଦିନ (ରଥଯାତ୍ରା ପୂର୍ବ ଦିନ) ଅପରାହ୍ନ ସୁଦ୍ଧା ତିନିଟି ଯାକ ରଥ ସୁସଜ୍ଜିତ ହୋଇ ଶ୍ରୀନଅର ସ୍ଥିତ ରଥଖଳାରୁ ଟଣା ହୋଇ ସିଂହଦ୍ୱାର ସମ୍ମୁଖରେ ରଖାଯାଏ।

ନନ୍ଦିଘୋଷ : ମହାପ୍ରଭୁ ଜଗନ୍ନାଥଙ୍କ ରଥ ହେଉଛି ‘ନନ୍ଦିଘୋଷ’ ବା ‘ଗରୁଡ଼ଧ୍ୱଜ’ ବା ‘କପିଳଧ୍ୱଜ’ | ଏହି ରଥରେ ଜଗନ୍ନାଥଙ୍କ ସହ ମଦନମୋହନ ବିଜେ କରନ୍ତି । ମୋଟ ୭୪୨ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୬ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ୱସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ । ସାରଥି: ଦାରୁକ । ରଥର ଦଉଡ଼ି: ଶଙ୍ଖଚୂଡ଼ । ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ୱେତ ଓ ହରିଦ୍ୱାଶ) ସ୍ଥାପନ କରାଯାଏ । ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ ।
ଧ୍ୱଜପମୂର୍ତ୍ତି: ପଞ୍ଚମୁଖୀ ହନୁମାନ । ନାଲି ଓ ହଳଦିଆ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ତାଳଧ୍ୱଜ : ‘ତାଳଧ୍ୱଜ’ ବା ‘ଲଙ୍ଗଳ ଧ୍ୱଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି। ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ। ଦଧିନଉତି: ହିରଣ୍ମୟୀ ସାରଥି: ମାତଳୀ । ରଥର ଦଉଡ଼ି: ବାସୁକୀ ।
ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ତୀବ୍ର, ଘୋର, ଦୀର୍ଘଶ୍ରମ ଏବଂ ସ୍ବର୍ଣ୍ଣନାଭ) ବା (ସ୍ଥିରା, ଧୃତି, ସ୍ଥିତି ଏବଂ ପ୍ରଜ୍ଞା) ବା (ଶଙ୍ଖ,ସୁଚ଼ିତ୍ର, ଅଙ୍ଗଦ ଏବଂ ମେଘନାଦ) ସ୍ଥାପନ କରାଯାଏ ।
ଧ୍ୱଜପମୂର୍ତ୍ତି: ଲକ୍ଷ୍ମୀନୃସିଂହ । ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ୱର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ୱବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

ଦର୍ପଦଳନ : ‘ଦର୍ପଦଳନ’ ବା ‘ପଦ୍ମଧ୍ୱଜ’ ବା ‘ଦେବଦଳନ’ ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି । ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୨ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ । ସାରଥି: ଅର୍ଜୁନ । ରଥର ଦଉଡ଼ି: ସ୍ୱର୍ଣ୍ଣ୍ଣଚୂଡ଼ । ଧ୍ୱଜପମୂର୍ତ୍ତି: ଜୟଦୁର୍ଗା ।
ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ ।
ନାଲି ଓ କଳା ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ଦର୍ପଦଳନରେ ବିମଳା, ମଙ୍ଗଳା, ବାରାହୀ, ଭଦ୍ରକାଳୀ(ଶବରୂଢ଼ା ଚତୁର୍ଭୁଜା), ବନଦୁର୍ଗା ବା କଣ୍ଟକାଢ଼ି, କାତ୍ୟାୟନୀ (ଅଷ୍ଟଭୁଜା ଦୁର୍ଗା), ହରଚଣ୍ଡୀ, ରାମଚଣ୍ଡୀ (ଅଷ୍ଟଭୁଜା ଓ ବାମହାତ କାଣି ଆଙ୍ଗୁଠିକୁ ପାଟିରେ ଚୁଚୁମିଛନ୍ତି), ଅଘୋରା ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।
ଶ୍ରୀଜଗନ୍ନାଥଙ୍କ ରଥର ୧୬ ଚକ ଷୋଳକଳାର, ବଳଭଦ୍ରଙ୍କର ୧୪ ଚକ ଚତୁର୍ଦ୍ଦଶ ମନ୍ୱନ୍ତରର ଓ ସୁଭଦ୍ରାଙ୍କ ୧୨ ଚକ ବାରମାସର ଦୃଷ୍ଟି ଆକର୍ଷଣ କରିଥାଏ । ତିନି ରଥର ଦଧିନଉତି : ହିରଣ୍ୟଗର୍ଭ, ହିରଣ୍ମୟୀ, ଭୁବନକୋଷ । ଏହି ତିନି ଦଧିନଉତି ଉପରେ ମୋଟ ୯ଟି ପିତଳ କଳସ (ନଭ, ଆକାଶ, ବ୍ୟୋମ, ପରା, ଅପରା, ବୈଖାରୀ, ଚନ୍ଦ୍ର, ସୂର୍ଯ୍ୟ, ବିଦ୍ୟୁତ) ସ୍ଥାପନ କରାଯାଏ ।