ରାଜ୍ୟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା; ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଅନ୍ୟପକ୍ଷରେ ଦେଶରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଉପରେ ସକ୍ରିୟ ରହିଛି।

ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ ବଜ୍ରପାତର ସମ୍ଭାବନା ରହିଛି। କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅକ୍ଟୋବର (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୧୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୯ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।
ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ଅସରାଏ ଦୁଇଅସରା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।
ସେହିପରି କଟକ ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ଅସରାଏ ଦୁଇଅସରା ବର୍ଷାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Leave a Reply

Your email address will not be published. Required fields are marked *